ଅବପାତ ସକ୍ରିୟ, ଆଉ ୪୮ ଘଣ୍ଟା ପ୍ରବଳ ବର୍ଷା
ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ବାଂଲାଦେଶ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଅବସ୍ଥିତ। ଅବପାତଟି ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ବେଳେ କୋଲକାତାଠାରୁ ୮୦ କିମି ଏବଂ ବାଲେଶ୍ୱରଠାରୁ ୧୮୦ କିମି ଦୂରରେ ରହିଛି।
ପାଣିପାଗ ବିଭାଗ ଅନୁସାରେ, ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାଡ଼ଖଣ୍ଡ ଦେଇ ଗାଙ୍ଗେୟ ପଶ୍ଚିମବଙ୍ଗ ଅତିକ୍ରମ କରିବ। ଏହାର ପ୍ରଭାବରେ ରାଜ୍ୟରେ ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ଏବଂ ଆଗାମୀ ୪୮ ଘଣ୍ଟାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏହାକୁ ଦୃଷ୍ଟିରେ ରଖି ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଏବଂ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
